
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ସେ ପୁଣି କହିଛନ୍ତି କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ୟ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍ଡାଉନ ଜାରି ରହିଛି । ଏହା ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ।
ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସେହିପରି କୋଭିଡ ଲକଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ ।
ଏନଆରଇଜିଏସ ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଏପ୍ରିଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ ଏନଆରଇଜିଏସ ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ।
ଖାଦ୍ୟ ନିରାପତ୍ତା ଉପରେ ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ୟ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
The post ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା first appeared on Sambad.from କରୋନା | Sambad https://ift.tt/3wBXwfg
0 Comments