ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ  ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି।  ଏହି ୮ଟି ଜିଲ୍ଲା ହେଉଛି ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ  ଅକ୍ସିଜେନ  ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ  ୭ଟି  ଓ ଆଜି ୮ଟି ପିଏସଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି ପ୍ଲାଣ୍ଟ ଦ୍ବାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି ।  ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଏହା ସହିତ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରୁ ମନ୍ତ୍ରୀ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

The post ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ first appeared on Sambad.

from କରୋନା | Sambad https://ift.tt/3vJXEbC