ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଟକ ଜିଲ୍ଲାରୁ ୨ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାଛଡ଼ା ବାଲେଶ୍ବର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୫, ୭୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦, ୦୦, ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୨୦  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୯୨କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3tv9yGC